ନୂତନ ଭାବେ ଦାୟିତ୍ବ ନେଇଥିବା ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଆଜି ବିଭିନ୍ନ ବିଭାଗର ସଚିବମାନଙ୍କ ସହିତ ବୈଠକ କରିଛନ୍ତି । ଲୋକସେବା ଭବନ ସମ୍ମିଳନୀ କକ୍ଷରେ ପ୍ରାରମ୍ଭିକ ବୈଠକରେ ସେ ଯୋଗ ଦେଇଛନ୍ତି । ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସ୍ବାଗତ ଅଭିଭାଷଣ ରଖିବା ସହ ନୂତନ ମୁଖ୍ୟ ଶାସନ ସଚିବଙ୍କ ଦୀର୍ଘ ପ୍ରଶାସନିକ ଅଭିଜ୍ଞତା ସମ୍ପର୍କରେ ମଧ୍ୟ ଆଲୋକପାତ କରିଛନ୍ତି ।
ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା କହିଥିଲେ ଯେ, ଓଡ଼ିଶାରେ ପ୍ରଶାସନିକ ବ୍ୟବସ୍ଥାର ସୁନାମ ରହିଛି । ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମଗୁଡିକର କାର୍ଯ୍ୟାନ୍ବୟନ ଉପରେ ସେ ଗୁରୁତ୍ବାରୋପ କରିଛନ୍ତି । ସମସ୍ତ ଯୋଜନାର କାର୍ଯ୍ୟକାରିତା ପାଇଁ ଯେପରି ଫଳପ୍ରଦ ପ୍ରୟାସ ରହିବ, ସେ ସଂପର୍କରେ ସେ ବହୁ ଗଠନମୂଳକ ପରାମର୍ଶ ଦେଇଛନ୍ତି । ବୈଠକରେ ଆଗାମୀ ବଜେଟ ଉପସ୍ଥାପନ, ପୁରୀ ରଥଯାତ୍ରାର ସୁପରିଚାଳନା, ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ଉପଲକ୍ଷେ ଆନୁଷଙ୍ଗିକ ବ୍ୟବସ୍ଥା ସଂପର୍କରେ ଆଲୋଚନା କରାଯାଇଛି ।
ବିଭିନ୍ନ ବିଭାଗର କାର୍ଯ୍ୟରେ ଯୋଜନା ଓ କାର୍ଯ୍ୟକ୍ରମର କାର୍ଯ୍ୟକାରିତାରେ ଛୋଟ ଛୋଟ ସମସ୍ୟା ରହୁଛି । କାର୍ଯ୍ୟକୁ ବିଳମ୍ବିତ ନକରି ଶୀଘ୍ର ଶେଷ କରାଯିବ । କାର୍ଯ୍ୟରେ ସୃଜନଶୀଳତା, ସ୍ବଚ୍ଛତା ଓ ସୁପ୍ରଶାସନ ଦିଗରେ ମୁଖ୍ୟ ଶାସନ ସଚିବ ଗୁରୁତ୍ବାରୋପ କରିଛନ୍ତି । ବିଭିନ୍ନ ବିଭାଗ ଦାୟିତ୍ବରେ ଥିବା ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ, କମିଶନର ତଥା ଶାସନ ସଚିବମାନେ ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମ ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ସହିତ ଆଲୋଚନା କରିଛନ୍ତି ।